ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ

Above Post Content

ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ହୋଇଯାଇଛି । ୮୧ ବର୍ଷ ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି । ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି । ଗତ ୧୮ ତାରିଖରେ ହୃଦଘାତ ହେବାରୁ ଦାମୋଦର ଗୁରୁତର ହୋଇ ପଡ଼ିଥିଲେ । ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତିନିମାସ ତଳେ ଦାମୋଦର ରାଉତ ମଧ୍ୟ ଅସୁସ୍ଥ ହୋଇପଡ଼ିଥିଲେ । ଯକୃତରେ ପାଣି ଜମିଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ସୁସ୍ଥ ହେବା ପରେ ସେ ଘରକୁ ଫେରିଥିଲେ ।

୭ ଥର ହୋଇଥିଲେ ବିଧାୟକ

After 2nd paragraph post ads
Middle post content

ଡ. ଦାମୋଦର ରାଉତ ୧୯୪୨ ମସିହା ଜୁଲାଇ ୨ ତାରିଖରେ ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ମହିମାଦେଇପୁର ଡାକଘର ଅଧୀନ ମାଳିପୁର ଗାଁରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ବାପା ଥିଲେ କପିଳ ଚନ୍ଦ୍ର ରାଉତ । ତାଙ୍କର ଏକମାତ୍ର ପୁଅ ସମ୍ବିତ ରାଉତ ଓ ଦୁଇ ଜଣ ଝିଅ ଅଛନ୍ତି । ସମାଜ ସେବାକୁ ଭଲ ପାଇବା ସହିତ ସେ ଓଡ଼ିଶା ରାଜନୀତିର ଜଣେ ଅଭିଜ୍ଞ ରାଜନୀତିଜ୍ଞ ଥିଲେ । ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ଼ ରାଜନେତା ଭାବେ ଜଣାଶୁଣା ଥିଲେ । ଡ. ଦାମ ରାଉତ ୧୯୭୭ରୁ ୧୯୮୫ ଜନତା ଦଳ ଟିକେଟରେ ଏରସମାରୁ ବିଧାୟକ ହୋଇଥିଲେ । ୧୯୯୦ରୁ ୧୯୯୫ରେ ପୁଣି ଜନତା ଦଳ ଟିକେଟରେ ଏରସମାରୁ ବିଧାୟକ ହୋଇଥିଲେ । ବିଜେଡି ଟିକେଟରେ ୨୦୦୨ରୁ ୨୦୦୯ ଯାଏଁ ଏରସମାରୁ ଓ ୨୦୦୯ରୁ ୨୦୧୯ ଯାଏଁ ପାରାଦୀପରୁ ବିଧାୟକ ହୋଇଥିଲେ । ସାତ ଥର ବିଧାୟକ ହେବା ସହିତ ସେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ସୂଚନା ପ୍ରଯୁକ୍ତିବିଦ୍ୟା, ସାମାଜିକ କଲ୍ୟାଣ, ପଞ୍ଚାୟତିରାଜ ଓ ଅବକାରୀ, ମହିଳା ଓ ଶିଶୁ ବିକାଶ, ସୂଚନା ଓ ଲୋକସଂପର୍କ, ସଂସ୍କୃତି, କୃଷି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଉନ୍ନୟନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଆଦି ବିଭାଗରେ ମନ୍ତ୍ରୀ ଥିଲେ । ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରି ପୁଣି ବିଜେଡିକୁ ଫେରିଥିଲେ ।

ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବିଜୁ ଜନତା ଦଳର ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଏକ୍ସ’ରେ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଦୁଃଖିତ । ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି । ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଠିକ୍ ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ ଲେଖିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami